ରାଜ୍ୟରେ ବର୍ଷିବ ନିଆଁ

ଭୁବନେଶ୍ୱର,୩୧/୦୩: ଆସନ୍ତା ୨ ଦିନ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ବିଶେଷ ଅନୁଭୂତ ହେବ । କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ୩ ତାରିଖ ସୁଦ୍ଧା ଉତ୍ତର ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛନ୍ତି ପାଣିପାଗବିତ୍‌ । ଗୁରୁବାର ଓ ଶୁକ୍ରବାର ସାରା ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ହେଲେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠୁ ୩ରୁ ୫ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଏଭଳି ପାଗ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରହିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାର ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି । ତେଣୁ ସମ୍ପୃକ୍ତ ଜିଲ୍ଲାଗୁଡିକୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି । ଛୋଟ ପିଲା, ବୟସ୍କ ବ୍ୟକ୍ତି ଓ ରୋଗୀଣା ବ୍ୟକ୍ତିମାନଙ୍କୁ ଦିନ ୧୨ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବାହାରକୁ ନ ବାହାରିବାକୁ ବାରଣ କରିଛନ୍ତି । ଏହି ସମୟରେ ବାହାରକୁ ବାହାରିବା ବେଳେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଆଇଏମଡି ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.