ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୮/୦୪: ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ । ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ୱଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

Leave A Reply

Your email address will not be published.