ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର : ଯଶସ୍ବୀ ସାରସ୍ୱତ ସାଧକ ବୀଣାପାଣି ମହାନ୍ତିଙ୍କ ପରଲୋକ । ୮୫ ବର୍ଷ ବୟସରେ ଆଜି ତାଙ୍କର ତାଙ୍କର ଦେହାନ୍ତ ହୋଇଛି ।
ବୀଣାପାଣି ମହାନ୍ତିଙ୍କ ଜନ୍ମ ୧୧ ନଭେମ୍ବର ୧୯୩୬ରେ । ଜଣେ ଓଡ଼ିଆ ଗାଳ୍ପିକା ଭାବେ ଅନେକ ପୁସ୍ତକ ରଚନା କରିଛନ୍ତି । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ସେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଲାଭ କରିଥିଲେ । ପୂର୍ବରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି । ବୀଣାପାଣି ମହାନ୍ତିଙ୍କ ଜନ୍ମ ବ୍ରହ୍ମପୁରରେ ହୋଇଥିଲା । ମାତ୍ର ତାଙ୍କ ପୈତୃକ ଗୃହ କେନ୍ଦ୍ରାପଡ଼ା ନିକଟସ୍ଥ ଚାନ୍ଦୋଳଠାରେ ଥିଲା । ସେ ୧୯୫୩ ମସିହାରେ ମାଟ୍ରିକ, ୧୯୫୭ରେ ଅର୍ଥନୀତିରେ ସ୍ନାତକ ଓ ୧୯୫୯ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ । ତାଙ୍କର ସାହିତ୍ୟିକ ଜୀବନ କବିତା ଲେଖାରୁ ଆରମ୍ଭ ହୋଇ ଥିଲା । ୧୯୬୦ ମସିହାରେ ସେ ଜଣେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଓ ୧୯୯୨ରେ ଏଥିରୁ ଅବସର ଗ୍ରହଣ କରିଥିଲେ । ସେ ଆଜୀବନ ଅବିବାହିତା । ବୀଣାପାଣି, ଜଣେ କବି ଭାବରେ ଲେଖାଲେଖି ଆରମ୍ଭ କରି, ପରବର୍ତ୍ତୀ ସମୟରେ ଗଳ୍ପ ଓ ଉପନ୍ୟାସକୁ ଆବୋରୀ ନେଇଥିଲେ । ୧୯୫୫ ମସିହାରେ ତାଙ୍କର ପ୍ରଥମ କବିତା “ତନ୍ଦ୍ରାହତ” ପ୍ରଜାତନ୍ତ୍ର ନାରୀମହଲରେ ପ୍ରକାଶ ପାଇଥିଲା । ୧୯୫୭ ମସିହାରେ ତାଙ୍କର ପ୍ରଥମ ଗଳ୍ପ “ଗୋଟିଏ ରାତ୍ରୀର କାହାଣୀ” ରବିବାସରୀୟ ପ୍ରଜାତନ୍ତ୍ରରେ ପ୍ରକାଶ ପାଇଥିଲା । ୧୯୬୧ମସିହାରେ ତାଙ୍କ ଗଳ୍ପ “ନାଉଗଛ” ତାଙ୍କୁ ବହୁ ପାଠକୀୟ ସ୍ୱୀକୃତି ଆଣି ଦେଇଥିଲା ଓ ସେ କବିତା ଛାଡି ସମ୍ପୂର୍ଣ୍ଣ ଭାବରେ ଗଳ୍ପ ଲେଖିବାକୁ ଲାଗିଥିଲେ । ଚଳନ୍ତି ଜୀବନରୁ ସତସତିକା ଘଟଣାକୁ ସାଉଁଟି ନେଇ ତାହାକୁ ଗପ ରୂପ ଦେଇଥାନ୍ତି ବୀଣାପାଣି । “ନାଉଗଛ” ଗଳ୍ପଟି ବାଲେଶ୍ୱର କୁନ୍ତଳା କୁମାରୀ ମହାବିଦ୍ୟାଳୟରେ ଅଧ୍ୟାପନା ସମୟରେ ଲେଖାଯାଇଥିଲା । କଲେଜରେ ଆପେ ଆପେ ମାଡ଼ିଥିବା ନାଉଗଛ ଥିଲା ଏ ଗଳ୍ପ ପଛର ପ୍ରେରଣା । ସେହିପରି ପାଟଦେଈ ଗଳ୍ପଟି ଭୁବନେଶ୍ୱରର ରସୁଲଗଡ଼ ଛକରେ ବସରେ ଜୋର କରି ଠେଲି ବସାଯାଇଥିବା ଏକ ଝିଅକୁ ଦେଖି ଲେଖାଯାଇଥିଲା ।

Leave A Reply

Your email address will not be published.