ଆଜିଠାରୁ ବର୍ଷା; ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ

ଭୁବନେଶ୍ବର : ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଜାରି ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧.୧ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ବାଭାବିକ ବର୍ଷା ୧୧ ମିମି ତୁଳନାରେ ୯୦% କମ୍‌। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ଉପରେ ରହିଛି। ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ‌ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେହିଭଳି ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ଅଂଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି। ଆସନ୍ତାକାଲି ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। ଅଳ୍ପ ବର୍ଷା ହୋଇପାରେ। ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ୨୭ ଡିଗ୍ରି ମଧ୍ୟରେ ରହିବ।

Leave A Reply

Your email address will not be published.