କଂଗ୍ରେସ ପକ୍ଷରୁ ଡିସେମ୍ବର ପହିଲାରେ ତୁଳସୀ ଯାତ୍ରା : ଶରତ ପଟ୍ଟନାୟକ

ଭୁବନେଶ୍ୱର : ଆସନ୍ତା ଡିସେମ୍ବର ଏକ ତାରିଖ ଦିନ ତୁଳସୀ ଯାତ୍ରା କରାଯିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି । ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ କହିଥିଲେ ଯେ ନବୀନ ସରକାର ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରୀ ହୋଇ ଛିଡ଼ା ହେଉଛନ୍ତି । ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନ ଭଣ୍ଡାରର ଗଣତି ଓ ମରାମତି ଏବଂ ବେଦାନ୍ତ ଅଧିକୃତ ଜଗନ୍ନାଥଙ୍କ ଅମୃତମଣୋହୀ ଜମି ଓ ଚାଷୀଙ୍କ ଜମିକୁ ଫେରସ୍ତ ସମେତ ଅନ୍ୟାନ୍ୟ ସମୁଦାୟ ୬ ଗୋଟି ଦାବିକୁ ନେଇ ପ୍ରଦେଶ କଂଗ୍ରେସ ପକ୍ଷରୁ ଗତ ଅକ୍ଟୋବର ୧୬ ରେ ପୁରୀ ଠାରେ ବିଶାଳ ସମାବେଶ ଓ ବିକ୍ଷୋଭ ଶୋଭାଯାତ୍ର କରାଯାଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ଅକ୍ଟୋବର ୨୯ ସୁଦ୍ଧା ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା । ଯେହେତୁ ସରକାର ଏ ସମ୍ପର୍କରେ ପଦକ୍ଷେପ ନେଲେ ନାହିଁ ତେଣୁ ସେହି ୬ ଗୋଟି ଦାବିର ସମାଧାନ ନିମନ୍ତେ ସାରା ରାଜ୍ୟରେ ପ୍ରଭୁ ଜଗନ୍ନାଥଙ୍କ ସମ୍ମୁଖରେ ଗତ ନଭେମ୍ବର ୯ ତାରିଖରେ ସଂକୀର୍ତ୍ତନ ସତ୍ୟାଗ୍ରହ କରାଯାଇଥିଲା। ପ୍ରଦେଶ କଂଗ୍ରେସ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା ଯେ ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଜାରି ରହିବ, ସେହି କ୍ରମରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ ଯୁବତୀ, ଛାତ୍ର ଛାତ୍ରୀ, ହବିଷ୍ୟାଳି, ଭକ୍ତ, ମଉସା ମାଉସୀ, ଭାଇ ଭଉଣୀଙ୍କ ଠାରୁ ତୁଳସୀ ସଂଗ୍ରହ କରାଯିବ ।

gpkandhamal

ପ୍ରତି ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ଗୋଟିଏ ଲେଖାଏଁ ଗାଡ଼ିରେ ସଂଗୃହୀତ ତୁଳସୀକୁ ଡିସେମ୍ବର ୧ ତାରିଖ ସୁଦ୍ଧା ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟକୁ ଆଣିବେ। ଡିସେମ୍ବର ୧ ତାରିଖ ଦିନ ସାରା ରାଜ୍ୟରୁ ସଂଗୃହିତ ତୁଳସୀ ଏବଂ ସଜ ତୁଳସୀ ଧରି ଶ୍ରୀକ୍ଷେତ୍ର ଅଭିମୁଖେ ତୁଳସୀ ଯାତ୍ରା କରାଯିବ। ଶ୍ରୀକ୍ଷେତ୍ରର ଶରଧାବାଲି ଠାରେ ଜଗନ୍ନାଥ ପ୍ରେମୀ ଭକ୍ତ, କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ଏକତ୍ରିତ ହେବେ ଏବଂ ଶୋଭାଯାତ୍ରାରେ ଯାଇ ପ୍ରଭୁ ଜଗନ୍ନାଥଙ୍କୁ ତୁଳସୀ ଅର୍ପଣ କରିବେ । ଏହି ସମ୍ବାଦିକ ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ପୂର୍ବତନ ମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟିର ଅଧ୍ୟକ୍ଷ ପଞ୍ଚାନନ କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ।

Umasankar Adv
Leave A Reply

Your email address will not be published.