ଦୁର୍ନୀତି ବିରୁଦ୍ଧର କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର (ଓଡିଶା ସମାଚାର ନ୍ୟୁଜ): ଜେଲ ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ଦୁର୍ନୀତି ଓ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଇ ବର୍ଷକ ମଧ୍ୟରେ ୧୦୪ ଜଣଙ୍କୁ ବାଧ୍ୟତାମୂଳକ ଅବସର I
ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି I ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ ଅଟନ୍ତି I

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ବ ଦେଇ ଆସିଛନ୍ତି I ଅପାରଗ ତଥା ଅସାଧୁ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ଉପରେ ସବୁବେଳେ ଜୋର ଦେଇ ଆସିଛନ୍ତି ଏବଂ ପ୍ରଶାସନରୁ ଦୁର୍ନୀତି ଓ ଅପାରଗତା ଦୂର କରିବାପାଇଁ ସବୁବେଳେ କଠୋର ପଦକ୍ଷେପ ନେଇଛନ୍ତି I

Umasankar Adv

ଏହି ପରିପ୍ରେକ୍ଷୀରେ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଜେଲ ବିଭାଗର ଡି.ଆଇ.ଜି. ଶ୍ରୀ ଗୋପବନ୍ଧୁ ମଲ୍ଲିକ I ଶ୍ରୀ ମଲ୍ଲିକ୍ ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବରେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବାର ଅଭିଯୋଗ ରହିଥିଲା I ଜେଲ ବିଭାଗରେ ତାଙ୍କରକାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା I

ଶ୍ରୀମତୀ ସ୍ନିଗ୍ଧାରାଣୀ ମିଶ୍ର, କୋରାପୁଟ ନନ୍ଦପୁରର ସି.ଡି.ପି.ଓ. ଭାବରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି I ୨୦୧୬ ରେ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଥିବା ବେଳେ ଅକ୍ଟୋବର ୨୦୨୦ ରେ ଛତୁଆ ବିଲ୍‌ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟଙ୍କ ଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଧରା ପଡିଥିଲେ I ସେ ବର୍ତ୍ତମାନ ନିଲମ୍ବିତ ଅଛନ୍ତି I

ଶ୍ରୀ ଏକାନ୍ତ ପ୍ରିୟ ନାୟକ, କମାଣ୍ଡାଣ୍ଟ ଭାବରେ ଓଡିଶା ସଶସ୍ତ୍ର ପୋଲିସ ସେବାରେ କାର୍ଯ୍ୟରତ ଥିଲେ I ଦୁର୍ବ୍ୟବହାର ତଥା ତାଙ୍କର ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ଏବଂ ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଥିଲା I ଜଣେ ମଦ୍ୟପ ତଥା ଅଯୋଗ୍ୟ ଅଫିସର ଭାବରେ ତାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା I

gpkandhamal

ଶ୍ରୀ ଗୌତମ ମଲ୍ଲିକ, ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ କରାଯାଇଥିବା ବେଳେ ତାଙ୍କୁ ମଧ୍ୟ ଚାକିରୀରୁ ନିଲମ୍ବିତ କରାଯାଇଥିଲା I ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଅଟେ I

ଶ୍ରୀ ଦେବେନ୍ଦ୍ର ନାଥ ବେହେରା, ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟୀ କମାଣ୍ଡାଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି I ତାଙ୍କ ନାମରେ ଜଙ୍ଗଲରୁ କାଠ ଚୋରୀ ଅଭିଯୋଗରେ ଏକ ଫୌଜଦାରୀ ମୋକଦ୍ଦମା ରୁଜୁ କରାଯାଇଛି I ସେହିପରି ବିନା ଅନୁମତିରେ ସରକାରୀ ଗାଡିରେ ଅଧସ୍ତନ କର୍ମଚାରୀଙ୍କୁ ବ୍ୟବହାର କରି କାଠର ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି I

ଶ୍ରୀ ସତ୍ୟବ୍ରତ ରାଉତ, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌ ରହିଛି I ତାଙ୍କର ସାଧୁତା ସନ୍ଦେହ ଜନକ ଇ ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି I ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି I

ଶ୍ରୀ ରମେଶ ଚନ୍ଦ୍ର ପଣ୍ଡା, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ଥିଲାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହ ଜନକ ଅଟେ I ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି I ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି I

ଏହି ବାଧ୍ୟତାମୂଳକ ଅବସର ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯିବ I

ସୂଚନାଯୋଗ୍ୟ ଯେ ଗତ ଡିସେମ୍ବର ୩୦ ତାରିଖରେ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଥିଲେ I ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି I ପ୍ରଶାସନରେ ସ୍ବଚ୍ଛତା, ଉତ୍ତରଦାୟୀତ୍ବ ଓ ସେବା ମନୋଭାବର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି I ତେଣୁ ଦୁର୍ନୀତି ତଥା ଲୋକଙ୍କୁ ସେବା ଯୋଗାଇବାରେ ଅବହେଳା କରୁଥିବା କର୍ମଚାରୀମାନଙ୍କ ପାଇଁ ଏହି ପଦକ୍ଷେପ ଏକ ସତର୍କ ଘଣ୍ଟି I

Leave A Reply

Your email address will not be published.